କାର୍ତ୍ତିକ ପୂର୍ଣ୍ଣିମା ରାସ ବା ରାସପୂର୍ଣ୍ଣିମା ନାମରେ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି, ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଓତପ୍ରୋତ ଭାବେ ଜଡ଼ିତ । ଗୌରବମୟ ଉତ୍କଳର ପ୍ରାଚୀନ ଇତିହାସ ସହିତ ଏହା ଏତେ ନିବିଡ଼ ଭାବରେ ସଂପୃକ୍ତ ଯେ ଏହି ଦିବସର ଗୁରୁତ୍ୱକୁ ବାଦ ହେଲେ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ସମ୍ପର୍କରେ ଚିନ୍ତା ବି କରାଯାଇ ପାରେ ନାହିଁ । ଅତଏବ ଧର୍ମଗତ ତଥା ଐତିହାସିକ ଉଭୟ ଦୃଷ୍ଟିକୋଣରୁ ଏହାର ମୂଲ୍ୟବୋଧ ଅତୀବ ବୈଶିଷ୍ଟ୍ୟ ପରିପୂର୍ଣ୍ଣ । ବିଶ୍ୱଜନନୀ କରୁଣାମୟୀ ମା’ ଦୁର୍ଗାଙ୍କ ଶାରଦୀୟ ବନ୍ଦନା ପରେ ପରେ ଚନ୍ଦ୍ର ଏବଂ ମା’ କାଳୀଙ୍କ ଆରାଧନା ଅତ୍ୟନ୍ତ ଆଡମ୍ବର ସହକାରେ ସମାହିତ ହୁଏ । ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ଏହି ମାସରେ ଅତ୍ୟନ୍ତ ଉସିାହର ସହିତ ସମ୍ପାଦିତ ହୁଏ ଓଡ଼ିଶାର ପୁରପଲ୍ଲୀରେ ।