ଫଗୁ ଦଶମୀ ଠାରୁ ଓଡ଼ିଶାରେ ପାଳିତ ହୁଏ ଦୋଳଯାତ୍ରା । ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠି ଗୋଷ୍ଠି ମଧ୍ୟରେ ସ୍ନେହ ଏବଂ ଭାଇଚାରା ସମ୍ପର୍କକୁ ସୁଦୃଢ କରୁଥିବା ପର୍ବ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ୍ର ଋତୁରାଜ ବସନ୍ତଙ୍କୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ କରାଯାଏ । ଦ୍ୱାଦଶ ଶତାଦ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସମ୍ପର୍କରେ ବର୍ଣ୍ଣନା କରାଯାଇଛି । ଯେଉଁଥିରୁ ସ୍ପଷ୍ଟ ଅନୁମିତ ହୁଏ ଯେ, ଅତିକମ୍ରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲ୍ଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚ ଦିନ ପର୍ଯ୍ୟନ୍ତ ପଞ୍ଚୁଦୋଳ ଭାବେ ଯାତ୍ରା ପାଳନ କରାଯିବା ବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇଥାଏ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ ।