ପ୍ରଥମାଷ୍ଟମୀ

ପ୍ରଥମାଷ୍ଟମୀ ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ । ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଇଅଛି ।
ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘଜୀବନ କାମନା କରି ମା’ ମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ମା’ ମାନେ ତାଙ୍କୁ ବନ୍ଦାପନା କରନ୍ତି । ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କୁହାଯାଏ । ପରମ୍ପରା ଅନୁଯାୟୀ ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁ ଘରୁ ଆସିଥାଏ । ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ରର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ ।