ନୂଆଦିଲ୍ଲୀ,୧୭/୩ : କେନ୍ଦ୍ର ସରକାର ଓଡ଼ିଶାର ବିଶ୍ୱପ୍ରସିଦ୍ଧ କୋଣାର୍କ ମନ୍ଦିରକୁ ଦେଶର ୧୯ଟି ଆଇକନିକ ବା ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକାରେ ଅନ୍ତର୍ଭୁକ୍ତ କରିଛନ୍ତି । ଏ ସଂପର୍କରେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ପଟେଲ ରାଜ୍ୟସଭାରେ ସୂଚନା ଦେଇଛନ୍ତି । କୋଣାର୍କ ଛଡ଼ା ଗୁଜୁରାଟରେ ଷ୍ଟାଚୁ ଅଫ ୟୁନିଟି ମଧ୍ୟ ଏହି ତାଲିକାରେ ସ୍ଥାନ ପାଇଛି ।
୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି ପାଇଁ ଦେଶର ୧୭ଟି ପ୍ରତିଷ୍ଠିତ ପର୍ଯ୍ୟଟନ କ୍ଷେତ୍ରକୁ ବିକଶିତ କରାଯିବ ବୋଲି ଘୋଷଣା କରିଥିଲେ । କେନ୍ଦ୍ର ସରକାର ଏହି ୧୭ଟି କ୍ଷେତ୍ରକୁ ମଡେଲ ପର୍ଯ୍ୟଟନ କ୍ଷେତ୍ର ଭାବରେ ବିକଶିତ କରି ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରାଯିବାର ଯୋଜନା ରଖିଥିଲେ ।