୨୪ ଘଣ୍ଟାରେ ଅବପାତ ରୂପ ନେବ ଲଘୁଚାପ

ଭୁବନେଶ୍ୱର : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ରହିବାକୁ ଥିବାବେଳେ ୨୧ ତାରିଖରୁ ସେଥିରେ ପରିବର୍ତ୍ତନ ଘଟିବ । ଆକାଶ ମେଘାଚ୍ଛନ୍ନ ରହିବା ସହିତ କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରକୋପ ବୃଦ୍ଧି ପାଇବ । ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି । ଲଘୁଚାପ ପ୍ରଭାବରେ ୨୧ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବ । ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ମାଲକାନଗିରି ଏବଂ କୋରାପୁଟରେ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ବର୍ଷା ପରେ ଶୀତରେ ସାମାନ୍ୟ ହ୍ରାସ ଘଟିବ । ଏପରିକି ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ବୃଦ୍ଧି ହେବା ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୬ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ତଳେ ରହିଛି । କୋରାପୁଟର ଶିମିଳିଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୭.୯ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଜି.ଉଦୟଗିରିରେ ୮.୬ ଡିଗ୍ରୀ, କୋରାପୁଟରେ ୧୦.୫ ଡିଗ୍ରୀ, ଫୁଲବାଣୀରେ ୧୦.୫ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୧୧.୫ ଡିଗ୍ରୀ, ଭବାନୀପାଟଣାରେ ୧୧.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

SBI_Festive_Digital Billboard