ବିଧାନସଭା ଗାନ୍ଧୀ ମୂର୍ତ୍ତି ପାଖରୁ ଧାରଣା ପ୍ରତ୍ୟାହାର ପରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର,୪ /୪ : ବିଧାନସଭା ଗାନ୍ଧୀ ମୂର୍ତ୍ତି ପାଖରୁ ଧାରଣାରୁ ଉଠିବା ପରେ ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଛି ।ଏହି ସାମ୍ବାଦିକ ସମ୍ମିଳନୀରେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କହିଛନ୍ତି ଯେ, ବିଧେୟକ ପାରିତ ହେବା ସମୟରେ ଜଣେ ନିର୍ବାଚିତ ପ୍ରତିନିଧି ଭାବେ ଗୃହରେ ମୋର କହିବାର ଅଧିକାର ରହିଛି । କିନ୍ତୁ ଯେତେବେଳେ ଗତକାଲି ବିନା ଆଲୋଚନାରେ ବିଲ୍ ପାରିତ କରାଗଲା, ସେତେବେଳେ ବିରୋଧୀ ଦଳ ନେତା ଭାବେ କହିବାକୁ ଛିଡା ହେଲେ ମଧ୍ୟ ବାଚସ୍ପତି ଆମ ଆଡକୁ ଅନାଇଲେ ନାହିଁ । ବିଜେପି ସଦସ୍ୟ ବାରମ୍ବାର କହିବା ସତ୍ୱେ ମଧ୍ୟ ବାଚସ୍ପତି ଶୁଣିଲେନି । ତେଣୁ ବାଚସ୍ପତିଙ୍କ ଦୃ୍ଷ୍ଟି ଆକର୍ଷଣ କରିବାକୁ ହେଡଫୋନ, କଲମ ଫୋପାଡା ଯାଇଛି । କିନ୍ତୁ ଏହି ପ୍ରସଙ୍ଗରେ ଆମକୁ ପକ୍ଷ ରଖିବାକୁ ସୁଯୋଗ ନ ଦେଇ ୩ ଜଣ ବିଧାୟକଙ୍କୁ ସସପେଣ୍ଡ କରିଦିଆଗଲା । ବିନା ଦୋଷରେ ଆମେ ଦଣ୍ଡିତ ହେଇଛୁ ।

ଗତକାଲି ବିଧାନସଭାରେ ଯେଉଁ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଲା ସେଥିପାଇଁ ଖୋଦ ବାଚସ୍ପତି ଦାୟୀ । ବିଜେଡିର ଖେଳନା ଭଳି କାମ କରୁଥିବାରୁ ଏଭଳି ସ୍ଥିତି ଉପୁଜିଲା ବୋଲି କହିଛନ୍ତି ପ୍ରଦୀପ୍ତ । ବିରୋଧୀଙ୍କ କଥା ଶୁଣିବାକୁ ଗୃହର ଅଧ୍ୟକ୍ଷ ଓ ଗୃହର ନେତା ବାଧ୍ୟ କିନ୍ତୁ ବିଧାନସଭାରେ ତାହାର ବ୍ୟତିକ୍ରମ ହେଉଛି । ବିଧାନସଭା ଯେମିତି ନ ଚାଲୁ ତାହା ଚାହୁୁଁଛନ୍ତି ଶାସକ ଦଳ, କାରଣ ବିଭିନ୍ନ ପ୍ରସଙ୍ଗରେ ଶାସକ ଦଳ ବଦନାମ ହେବାର ଭୟ ଥିବାରୁ ଏଭଳି କରୁଛନ୍ତି । ତେଣୁ ପାରିତ ହୋଇଥିବା ବିଲ୍ ବାବଦରେ ରାଜ୍ୟପାଳଙ୍କୁ ଭେଟି ଫେରାଦ ହେବୁ ।