ଦୈନିକ ଟିକାଦାନକୁ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର,୮ /୬ : ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ସମୀକ୍ଷା କରିଥିଲେ। ରାଜ୍ୟରେ କୋଭିଡ ସଂକ୍ରମଣ ହାର ହ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ବସ୍ତି ପ୍ରକାଶ କରିଥିଲେ ଏବଂ ଆଗାମୀ କିଛି ସପ୍ତାହ ମଧ୍ୟରେ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ଆଶାପ୍ରକାଶ କରିଥିଲେ। ତଥାପି କେତେକ ଜିଲାରେ ସଂକ୍ରମଣହାର ଅଧିକ ଥିବାରୁ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେଇ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହାସହିତ ବର୍ତ୍ତମାନ ଚାଲିଥିବା ଘରକୁ ଘର ବୁଲି ସର୍ଭେ କାର୍ଯ୍ୟ ସଂପର୍କରେ ସଚେନତା ସହିତ ତାର ଉପଯୁକ୍ତ ତଦାରଖ ଏବଂ ଲକ୍ଷଣଯୁକ୍ତ ରୋଗୀଙ୍କର ତୁରନ୍ତ ଚିକିତ୍ସା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ବର୍ତ୍ତମାନ ରାଜ୍ୟରେ ଦୈନିକ ଟିକାକରଣ ଦେଢ ଲକ୍ଷ ଥିବାବେଳେ, ଏହାକୁ ୩ ଲକ୍ଷକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ, ପରିସ୍ଥିତିରେ ଉନ୍ନତି ଆସିଥିଲେ ମଧ୍ୟ ଦ୍ବିତୀୟ ଲହର ପ୍ରଭାବରୁ ଆମେ ଏବେ ମଧ୍ୟ ସଂପୂର୍ଣ୍ଣ ମୁକ୍ତ ହୋଇନାହୁଁ। ତାସହିତ ବିଭିନ୍ନ ପର୍ବପର୍ବାଣୀ ଆସୁଥିବାରୁ ଆମକୁ ଅଧିକ ସତର୍କତା ଅବଲମ୍ବନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥିପାଇଁ କୋଭିଡ ନିୟମାବଳୀକୁ ଆହୁରି କଡାକଡି ଭାବରେ ପାଳନ କରିବା ପାଇଁ ସେ ପ୍ରଶାସନକୁ ନିର୍ଦେଶ ଦେଇଥିଲେ। କୋଭିଡ ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସଂପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ। ପିଲାମାନଙ୍କ ପାଇଁ ସ୍ବତନ୍ତ୍ର କୋଭିଡ ଚିକିତ୍ସା ସୁବିଧାର ବିକାଶ, ଆବଶ୍ୟକ ଉପକରଣ ଏବଂ ଔଷଣ ମହଜୁଦ ରଖିବା ସଂଗେ ସଂଗେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କୁ ଶିଶୁ ରୋଗ ସଂପର୍କରେ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଥିଲେ। ତୃତୀୟ ଲହର ପାଇଁ ଗଠିତ ଟେକ୍ନିକାଲ ଟାସ୍କ ଫୋର୍ସ କମିଟିର ସୁପାରିଶ ଅନୁଯାୟୀ ଆଗୁଆ ପ୍ରସ୍ତୁତି କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଏହି ବୈଠକରେ ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଚାଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ଉନ୍ନୟନ କମିଶନର, ପୋଲିସ ଡିଜି, ଅଗ୍ନିଶମ ସେବା ଡିଜି, ବିଭିନ୍ନ ଜିଲାର ଜିଲାପାଳ ଓ ଏସପି ମାନେ ଯୋଗ ଦେଇଥିଲେ।