ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୭୦ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ପୁଣି ୪ ହଜାର ନିକଟତର ହୋଇଛି। ବିଗତ ୭୨ ଦିନ ମଧ୍ୟରେ ଆଜି ସର୍ବନିମ୍ନ ନୂତନ ସଂକ୍ରମଣ ରେକର୍ଡ କରାଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୦,୪୨୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୯୨୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୯୫,୧୦,୪୧୦ ଓ ମୃତ୍ୟୁସଂଖ୍ୟା ୩,୭୪,୩୦୫ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୧,୧୯,୫୦୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୮୧,୬୨,୯୪୭ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୯,୭୩,୧୫୮।