ଭୁବନେଶ୍ୱର, ୨୮/୦୮ : ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ବାଲେଶ୍ବର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ସହିତ ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ବର ପାଣିପାଗ ବିଭାଗର ପୂର୍ବାନୁମାନ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୨୯ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରଭାବରେ
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ଓ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ଜିଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ଦୁଇଟି ଜିଲାର କେତେକ ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ଝାରସୁଗୁଡ଼ା, ବରଗଡ଼, କନ୍ଧମାଳ, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହିତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।