ଭୁବନେଶ୍ୱର, ୧/୧୦ : ଆସୁଛି ବଡ ବର୍ଷା । ୫ ଦିନ ପ୍ରବଳ ବର୍ଷିବ । ଉପକୂଳରୁ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ, ସବୁଠି ବର୍ଷାର ପ୍ରକୋପ ଦେଖାଦେବ। ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ହୋଇପାରେ। ଜଳବନ୍ଦୀ ସମସ୍ୟା, ମାଟି ଘର ଭାଙ୍ଗିବା ସହ ରାସ୍ତା ଧୋଇଯିବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବର୍ଷା ଓ ଜଳବନ୍ଦୀ ସମସ୍ୟାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିସନର(ଏସ୍ଆରସି)ଙ୍କ ପକ୍ଷରୁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆନ୍ଧ୍ର ଉପକୂଳ ସଂଲଗ୍ନ ପଶ୍ଚିମ ବଙ୍ଗୋସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆଗାମୀ ଦୁଇ ଦିନ ଭିତରେ ଏହା ଲଘୁଚାପରେ ପରିଣତ ହୋଇ ପଶ୍ଚିମ କେନ୍ଦ୍ରୀୟ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଦେଇ ଏହା ଓଡିଶା ଉପକୂଳ ମୁହାଁ ହେବ । ଏହାର ପ୍ରଭାବରେ ଆଗାମୀ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ତେଣୁ ଏହି ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି କୋରାପୁଟ, ରାୟଗଡା, ଖୋର୍ଦ୍ଧା, ବୌଦ୍ଧ, ନୟାଗଡ, ଜଗତସିଂହପୁର, କେନ୍ଦ୍ରାପଡା, ସମ୍ବଲପୁର, କଳାହାଣ୍ଡି ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ରାଜଧାନୀରେ ବୁଧବାରଠାରୁ ବର୍ଷା ଲାଗି ରହିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟ ବର୍ଷା ଜାରି ରହିଛି । ସମ୍ଭାବ୍ୟ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ପ୍ରଶାସନକୁ ସତର୍କ କରାଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି ।