ଓଡ଼ିଶାରେ ଲଘୁଚାପ ପ୍ରଭାବ: ଆସନ୍ତା ୧୪ ତାରିଖ ଯାଏ ଜାରି ରହିବ ବର୍ଷା

ଭୁବନେଶ୍ୱର, ୦୯/୦୮ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ଗଠନ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ବର୍ଷା ଜାରି ରହିଥିବାବେଳେ ଆସନ୍ତା ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ବର୍ଷାର ଏହି ଦୌରାଜ୍ୟ ଜାରି ରହିବ ବେଳେ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଉତ୍ତର ଓଡ଼ିଶା ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼—ଏହି ୪ଟି ଜିଲ୍ଲାକୁ ଅରେଞ୍ଜ ଅଲର୍ଟ ଜାରି କରାଯାଇଛି। ଏହା ବ୍ୟତୀତ ମାଲକାନଗିରି, ଗଞ୍ଜାମ, ଗଜପତି, ନୟାଗଡ଼, କଟକ, ଜଗତସିଂହପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ଦେଓଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର ଏବଂ ନୂଆପଡ଼ା ସମେତ ମୋଟ ୧୯ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଅବଶିଷ୍ଟ ଜିଲ୍ଲାଗୁଡ଼ିକରେ ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି। ରବିବାର ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ କିଛି ଜିଲ୍ଲାରେ ପବନ ଓ ଘଡ଼ଘଡ଼ି ଜାରି ରହିବ। ପାଣିପାଗ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ସତକର୍ ରହିବାକୁ ପରାମର୍ଶ ଦିଆଯାଇଛି।