ଭୁବନେଶ୍ୱର, ୧୩/୯ : ଆଜି ଲଘୁଚାପର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ । ଲଘୁଚାପ ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା ଓ ଗଜପତି ଭଳି ଦକ୍ଷିଣ ସୀମାନ୍ତ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଣୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଦୁର୍ବଳ ମୌସୁମୀ ପାଇଁ ରାଜ୍ୟର ବାକି ଅଞ୍ଚଳ ଶୁଖିଲା ଓ ଖରାଟିଆ ରହିବ। ଦିନର ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।
କୃଷି ପାଣିପାଗ ବିଶାରଦ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଅନେକ ଜାଗାରେ ପାଗ ଖରାଟିଆ ରହିବ। ସର୍ବାଧିକ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ। ଗୁଳୁଗୁଳି ଯୋଗୁ କେତେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହା ସତ୍ତ୍ୱେ ଚଳିତ ସପ୍ତାହରେ ସ୍ୱାଭାବିକଠାରୁ ୪୦-୫୦% କମ୍ ବର୍ଷା ରହିବ ।
ପାଣିପାଗ ବିଭାଗ କହିଛି, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ଦୁଇଦିନ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ସମ୍ଭାବନା ଅଛି । ରବିବାର ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ନବରଙ୍ଗପୁରର ଗୋଟିଏ ଦୁଇଟି ଜାଗାରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଅଛି । ରାୟଗଡ଼ା, କଳାହାଣ୍ଡି, ଗଜପତି, ନୂଆପଡ଼ାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ବି ହୋଇପାରେ ।
ସୋମବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ଜାଗାରେ ବର୍ଷା ସମ୍ଭାବନା ଅଛି । ମାଲକାନଗିରି, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ସମ୍ଭାବନା ଅଛି । ମଙ୍ଗଳବାର (୧୫ ତାରିଖ) ବର୍ଷା ପରିମାଣ କମିବ । କାଁ ଭାଁ ବର୍ଷା ହେବ ।